ଅକ୍ଷର ବ୍ୟୁରୋ: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ରପତ୍ତନଠାରୁ ପ୍ରାୟ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବିସ୍ତାର ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨ ଦିନ ମଧ୍ୟରେ ଏହି ଲଘୁଚାପ ଆହୁରି ବଳ ଗୋଟାଇ ଘନୀଭୂତ ହେବ। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କତା ଅନୁସାରେ, ଆସନ୍ତା ଦୁଇ ଦିନ ପାଇଁ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାକୁ ନେଇ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତାକାଲି ପାଇଁ କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ **ବାଲେଶ୍ୱର, କଟକ, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପରବର୍ତ୍ତୀ ଦିନ କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଥିବା ବେଳେ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି, ସହରାଞ୍ଚଳରେ ଜଳଜମା ଏବଂ ପାହାଡ଼ିଆ ଜିଲ୍ଲାଗୁଡ଼ିକରେ ଭୂସ୍ଖଳନର ଆଶଙ୍କାକୁ ନେଇ ପ୍ରଶାସନ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନ ଯିବା ସହ ଲୋକମାନଙ୍କୁ ପାଣିପାଗ ବିଭାଗର ସତର୍କ ସୂଚନା ଉପରେ ନଜର ରଖି ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି।














Leave a Reply