ଅକ୍ଷର ବ୍ୟୁରୋ: ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଅଧିକ ଘନୀଭୂତ ହୋଇ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାର ପ୍ରଭାବରେ ସମଗ୍ର ଓଡ଼ିଶାରେ ବର୍ଷାର ପ୍ରକୋପ ବଢ଼ିଥିବାବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସ୍ଥିତିକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ବୌଦ୍ଧ, କନ୍ଧମାଳ, ସୁବର୍ଣ୍ଣପୁର, ସମ୍ବଲପୁର ଓ ଅନୁଗୋଳ ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରିଛି।
ଏହାସହ ୮ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ରାଜ୍ୟର ଅବଶିଷ୍ଟ ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପର ପ୍ରଭାବରେ ବଜ୍ରପାତ, ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ସମ୍ପୃକ୍ତ ଜିଲ୍ଲାର ପ୍ରଶାସନକୁ ସତର୍କ ରହିବାକୁ କୁହାଯାଇଛି।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଏବଂ ଏହାର ସଂଲଗ୍ନ ସମୁଦ୍ର ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ଝଡ଼ବର୍ଷା ଜାରି ରହିପାରେ। ଏହାଫଳରେ ଆସନ୍ତା ତିନି ଦିନ ଯାଏଁ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି।
ଏଭଳି ପରିସ୍ଥିତିକୁ ନଜରରେ ରଖି ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପାଣିପାଗ ବିଭାଗ କଡ଼ା ପରାମର୍ଶ ଦେଇଛି। ସେହିପରି ନିମ୍ନାଞ୍ଚଳରେ ଜଳବନ୍ଦୀ, ସହରାଞ୍ଚଳରେ ଜଳଜମା ଏବଂ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କାକୁ ଦୃଷ୍ଟିରେ ରଖି ଲୋକଙ୍କୁ ଅନାବଶ୍ୟକ ବାହାରକୁ ନ ଯିବା ଓ ସରକାରୀ ସତର୍କ ସୂଚନା ମାନିବାକୁ ପ୍ରଶାସନ ପରାମର୍ଶ ଦେଇଛି।
















Leave a Reply