ଅକ୍ଷର ବ୍ୟୁରୋ: ପୁଣି ସକ୍ରିୟ ହେଉଛି ବର୍ଷା। ଆଜି ଉତ୍ତର ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ। ଆଗାମୀ ୩ ଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି, ବିଜୁଳି ଓ ଝଟକା ପବନର ଆଶଙ୍କା ରହିଛି। ବିଶେଷ କରି ଆଜିଠାରୁ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିପାରେ।
ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ପ୍ରାୟ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ ଗଠନର ସମ୍ଭାବନା ରହିଛି। ସବୁଠାରୁ ଅଧିକ ବର୍ଷା ଆଶଙ୍କା ମୟୂରଭଞ୍ଜରେ। ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ମଧ୍ୟରେ ମୟୂରଭଞ୍ଜର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ଆଶଙ୍କା ଥିବାରୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଥିବାରୁ ଏହି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଅନ୍ୟ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଏବଂ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିପାରେ। ତେବେ ଆସନ୍ତାକାଲିଠାରୁ ବର୍ଷାର ମୁଖ୍ୟ ପ୍ରଭାବ ଦକ୍ଷିଣ-ପଶ୍ଚିମ ଓଡ଼ିଶା ଆଡ଼କୁ ସ୍ଥାନାନ୍ତର ହେବ। କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏହି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟର ଅଧିକାଂଶ ଅନ୍ୟ ଜିଲ୍ଲା ୟେଲୋ ୱାର୍ଣ୍ଣିଂରେ ରହିବେ।
ଅନ୍ୟପକ୍ଷରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ବରଗଡ଼ ଜିଲ୍ଲା ପାଇଁ ଏହି ସମୟରେ କୌଣସି ପାଣିପାଗ ଚେତାବନୀ ଜାରି ହୋଇନାହିଁ। ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଏଥିସହ ଘଡ଼ଘଡ଼ି ଓ ବିଜୁଳି ସମୟରେ ଘର ଭିତରେ କିମ୍ବା ସୁରକ୍ଷିତ ସ୍ଥାନରେ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ଖୋଲା ପଡ଼ିଆ, ଗଛ ତଳ ଏବଂ ଜଳାଶୟ ନିକଟକୁ ନଯିବା ପାଇଁ ମଧ୍ୟ ସତର୍କ କରାଯାଇଛି।














Leave a Reply