ରାଜଧାନୀରେ ପୁଣି ରକ୍ତାକ୍ତ କାଣ୍ଡ: ଲୁହା ରଡରେ ପିଟିପିଟି ଯୁବକଙ୍କୁ ହତ୍ୟା, ଅଭିଯୁକ୍ତ ଫେରାର

ଅକ୍ଷର ବ୍ୟୁରୋ: ରାଜଧାନୀ ଭୁବନେଶ୍ୱରରେ ପୁଣି ଘଟିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଖଣ୍ଡଗିରି ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଲୁହା ରଡରେ ନିର୍ମମ ଭାବେ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଘଟଣା ପରେ ଅଭିଯୁକ୍ତମାନେ ଫେରାର ହୋଇଯାଇଥିବାବେଳେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ମୃତକଙ୍କ ପରିଚୟ ଗଞ୍ଜାମ ଜିଲ୍ଲାର କୃଷ୍ଣଚନ୍ଦ୍ର ପାଢୀ ବୋଲି ଜଣାପଡ଼ିଛି। ତାଙ୍କୁ ଲୁହା ରଡରେ ବାରମ୍ବାର ଆକ୍ରମଣ କରାଯାଇଥିବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି।

ଖବର ପାଇ ଖଣ୍ଡଗିରି ଥାନା ପୁଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ବୈଜ୍ଞାନିକ ପ୍ରମାଣ ସଂଗ୍ରହ କରିଛି। ଘଟଣାସ୍ଥଳରେ ଫରେନସିକ୍ ଟିମ୍ ମଧ୍ୟ ତଦନ୍ତ କରୁଥିବା ସୂଚନା ମିଳିଛି। ପୁଲିସ ଆଖପାଖ ଅଞ୍ଚଳର ସିସିଟିଭି ଫୁଟେଜ୍ ଯାଞ୍ଚ କରିବା ସହ ପ୍ରତ୍ୟକ୍ଷଦର୍ଶୀଙ୍କୁ ପଚରାଉଚରା କରୁଛି। ତେବେ ଏହି ହତ୍ୟାକାଣ୍ଡର ପଛରେ ପ୍ରକୃତ କାରଣ କ’ଣ, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପୂର୍ବ ଶତ୍ରୁତା, ବ୍ୟକ୍ତିଗତ ବିବାଦ, ନା ଅନ୍ୟ କୌଣସି କାରଣରୁ ଏହି ନିର୍ମମ ହତ୍ୟା ଘଟିଛି, ସେନେଇ ପୁଲିସ ବିଭିନ୍ନ ଦିଗକୁ ନେଇ ତଦନ୍ତ ଚଳାଇଛି। ଫେରାର ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ପୁଲିସ ପକ୍ଷରୁ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଥିବାବେଳେ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ତଦନ୍ତ ଆଗକୁ ବଢ଼ିବା ସହ ହତ୍ୟାକାଣ୍ଡର ପ୍ରକୃତ କାରଣ ଓ ଅଭିଯୁକ୍ତଙ୍କ ସମ୍ପର୍କରେ ଅଧିକ ତଥ୍ୟ ସାମ୍ନାକୁ ଆସିବ ବୋଲି ପୁଲିସ କହିଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial