ଭୁବନେଶ୍ୱରର ବାଲିଅନ୍ତା ଅଞ୍ଚଳରେ ଯୁବକଙ୍କ ହତ୍ୟା ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ; ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ।

ଅକ୍ଷର ବ୍ୟୁରୋ: ଭୁବନେଶ୍ୱରର ବାଲିଅନ୍ତା ଅଞ୍ଚଳରେ ଯୁବକଙ୍କୁ ପିଟିପିଟି ହତ୍ୟା କରିଥିବା ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆଙ୍କ ସହିତ କଥା ହୋଇଛନ୍ତି । ଘଟଣାର ପୁଙ୍ଖାନୁପୁଙ୍ଖ ଯାଞ୍ଚ୍ କରିବା ସହିତ ଦୋଷୀମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଭଳି ହତ୍ୟା ଘଟଣାର ଯେପରି ପୁନରାବୃତ୍ତି ନହୁଏ, ସେଥିପ୍ରତି ପୋଲିସ ପ୍ରଶାସନ ଓ ପୋଲିସ ବାହିନୀ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ରାଜ୍ୟରେ ଆଇନର ଶାସନ ପ୍ରତିଷ୍ଠା କରିବା ପାଇଁ ପୋଲିସ କଠୋରରୁ କଠୋରତମ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହିତ ମଧ୍ୟ ଆଲୋଚନା କରିଛନ୍ତି । ଘଟଣାର ସମସ୍ତ ଦିଗ ପ୍ରତି ସଚେତନ ରହି ପ୍ରକୃତ ସତ୍ୟ ଖୋଜି ବାହାର କରିବା ପାଇଁ କହିଛନ୍ତି । ଏହି ଘଟଣାରେ ଯେଉଁ ମହିଳାମାନଙ୍କ ସହିତ ଦୁର୍ବ୍ୟବହାର ହୋଇଥିବାର ଅଭିଯୋଗ ହୋଇଛି, ସେମାନଙ୍କ ସହିତ ଆଲୋଚନା କରିବାକୁ ଅଧ୍ୟକ୍ଷା ଶ୍ରୀମତୀ ମହାନ୍ତି ଶୁକ୍ରବାର ବାଲିଅନ୍ତା ଯିବେ ବୋଲି ଜଣା ଯାଇଛି । ସୂଚନାଯୋଗ୍ୟ ଯେ, ଏହି ଘଟଣାରେ ପୋଲିସ ବର୍ତ୍ତମାନ ସୁଦ୍ଧା ୪ ଜଣଙ୍କୁ ଗିରଫ କରିବା ସହିତ ତା’ର ଅନୁସନ୍ଧାନ ଜାରି ରଖିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)