ଉତ୍ତର ଓଡ଼ିଶାରେ ବନ୍ୟା ଆଶଙ୍କା, ପୁଣି ଆସୁଛି ଲଘୁଚାପ; ବଢ଼ିବ ବର୍ଷା

ଅକ୍ଷର ବ୍ୟୁରୋ: ଲଗାଣ ବର୍ଷାରେ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଚିନ୍ତା ବଢ଼ାଇଥିବାବେଳେ ପୁଣି ଆସୁଛି ଆଉ ଏକ ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ରୁ ୭.୬ କିଲୋମିଟର ଉଚ୍ଚତାରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରିଛି । ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଭୀଷଣ ବର୍ଷାର ସମ୍ଭାବନା ରହିଛି । ଏଥିପାଇଁ ଏହି ଦୁଇ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ୬ ଜିଲ୍ଲାକୁ ଅରେଞ୍ଜ୍‌ ଓ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ଆଜି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ, ଆଜିଠାରୁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ୍‌ ୱାର୍ଣ୍ଣିଂ ଦିଆଯାଇଛି । ଏହି ଜିଲ୍ଲାଗୁଡ଼ିକର ଗୋଟିଏ-ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଅନ୍ୟପଟେ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲା ପାଇଁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି । ଲଗାଣ ବର୍ଷାରେ ଉତ୍ତର ଓଡ଼ିଶାର ଅନେକ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଓ ବନ୍ୟା ଆଶଙ୍କା ଦେଖାଦେଇଥିବାବେଳେ, ନୂଆ ଲଘୁଚାପ ବର୍ଷାକୁ ଆହୁରି ବଢ଼ାଇବାର ଆଶଙ୍କା ଚିନ୍ତା ବଢ଼ାଇଛି । ତେଣୁ ଆଗାମୀ ଦୁଇରୁ ତିନି ଦିନ ରାଜ୍ୟର ପାଣିପାଗ ଉପରେ ରହିବ ସମସ୍ତଙ୍କ ନଜର ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial