ରାଜ୍ୟରେ ବର୍ଷାର ବଡ଼ ଅଲର୍ଟ: ୩ ଜିଲ୍ଲାକୁ ଅରେଞ୍ଜ, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଟ୍ୱିନ୍ ସିଟିରେ ସକାଳୁ ଝିପିଝିପି ବର୍ଷା

ଅକ୍ଷର ବ୍ୟୁରୋ: ଟ୍ୱିନ୍ ସିଟି ଭୁବନେଶ୍ୱର-କଟକରେ ବୁଧବାର ସକାଳୁ ସକାଳୁ ଝିପିଝିପି ବର୍ଷା ଜାରି ରହିଛି। ଗତକାଲି ଭଳି ଆଜି ମଧ୍ୟ ବର୍ଷା ପାଗ ଜାରି ରହିଥିବାବେଳେ ରାଜ୍ୟରେ ପୁଣି ପ୍ରବଳ ବର୍ଷାକୁ ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ୩ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୦ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଅରେଞ୍ଜ ଅଲର୍ଟ ଜାରି ହୋଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମସ୍ତ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି।

ଏପଟେ ଦକ୍ଷିଣ ବାଂଲାଦେଶ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଜୁଲାଇ ପ୍ରଥମ ସପ୍ତାହରେ ଏହା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ତତ୍ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଚଳିତ ସପ୍ତାହ ସାରା ରାଜ୍ୟର ବିଭିନ୍ନ ଅଞ୍ଚଳରେ ବ୍ୟାପକ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।

ସେପଟେ ସାରା ଦେଶରେ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଉତ୍ତର ବଙ୍ଗୋପସାଗରରୁ ଜମ୍ମୁ-କାଶ୍ମୀର ପର୍ଯ୍ୟନ୍ତ ପ୍ରାୟ ୧,୫୦୦ କିଲୋମିଟର ଲମ୍ବା ମୌସୁମୀ ନିମ୍ନଚାପ ବଳୟ (ମନସୁନ୍ ଟ୍ରଫ୍) ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଜୁଲାଇ ୬ ତାରିଖ ପର୍ଯ୍ୟନ୍ତ ଦେଶର ବିଭିନ୍ନ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)