ଅକ୍ଷର ବ୍ୟୁରୋ: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇଥିବା ବେଳେ ଏହାର ପ୍ରଭାବରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ଯାଏଁ ବର୍ଷା ଲାଗି ରହିବ। ଉପକୂଳରୁ ଆରମ୍ଭ କରି ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି, ବିଜୁଳି ଓ ଝଟକା ପବନର ଆଶଙ୍କା ରହିଛି।
ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ମୟୂରଭଞ୍ଜ ଜିଲ୍ଲା ପାଇଁ ଅତ୍ୟନ୍ତ ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ୧୯ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଦିଆଯାଇଛି। ଅରେଞ୍ଜ୍ ୱାର୍ଣ୍ଣିଂ ତାଲିକାରେ ରହିଛି ବାଲେଶ୍ୱର, ଭଦ୍ରକ, କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ଯାଜପୁର। ଏହି ସବୁ ଜିଲ୍ଲାରେ ଭାରି ବର୍ଷା ସହ ଝଡ଼ ପବନ ଓ ବଜ୍ରପାତ ହୋଇପାରେ।ଆସନ୍ତା ୩ ଦିନ ଧରି ସାରା ରାଜ୍ୟରେ ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ ରହିଛି। ଆଜି ଓ ଆସନ୍ତାକାଲି ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ସେହିପରି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷାର ତୀବ୍ରତା ବଢ଼ିବା ସହ ଘଡ଼ଘଡ଼ି, ବିଜୁଳି ଓ ଝଟକା ପବନ ହେବାର ଆଶଙ୍କା ରହିଛି। ତେଣୁ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକରେ ଲୋକଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।











Leave a Reply