ଆଗକୁ ମହାପ୍ରଭୁଙ୍କ ରଥଯାତ୍ରା; ସୁରକ୍ଷା ବ୍ୟବସ୍ଥା କଡାକଡି ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ।

ଆଗକୁ ଆସୁଛି ମହାପ୍ରଭୁଙ୍କ ରଥଯାତ୍ରା । ଏବେ ଠୁ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି । ସୁରକ୍ଷା ବ୍ୟବସ୍ଥା କଡାକଡି ପାଇଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ନେଇ ଯୋଜନା ପ୍ରସ୍ତୁତ ହେଲାଣି । ଗତ ଦୁଇ ବର୍ଷ ହେଲାଣି ଭକ୍ତଙ୍କ ବିନା ଗଡ଼ିଛି ମହାପ୍ରଭୁ ଜଗନ୍ନାଥଙ୍କ ରଥ । କିନ୍ତୁ ଚଳିତ ବର୍ଷ ଭକ୍ତଙ୍କ ଗହଣରେ ରଥ ଗଡିବାକୁ ଯୋଜନା ଥିବା ବେଳେ ସେପଟେ ପୁରୀ ଜିଲ୍ଲା ପ୍ରଶାସନ ଏବେଠୁ ସୁରକ୍ଷା ବ୍ୟବସ୍ଥାକୁ ନେଇ ଯୋଜନା ପ୍ରସ୍ତୁତ ଆରମ୍ଭ କରିଛି । ଆସନ୍ତା ଜୁନ ମାସ ୨୭ ତାରିଖରେ ପୁରୀର ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ଏହି ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା କରିବା ନିମନ୍ତେ ଗତକାଲି ଅପରାହ୍ନରେ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟIଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା ।

ଏହି ଅବସରରେ ଡିଜିପି ଶ୍ରୀଖୁରାନିଆ ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସକ୍ରିୟ ତଥା ସଜାଗ ରହିବାକୁ ବରିଷ୍ଠ ପୋଲିସ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଶ୍ରୀ ଜଗନ୍ନାଥ ମନ୍ଦିର ପରମ୍ପରା ଅନୁଯାୟୀ ଶ୍ରୀଜୀଉଙ୍କ ରୀତିନୀତି ବିଭିନ୍ନ ତାରିଖରେ ପାଳନ କରାଯିବ । ଶ୍ରୀଜୀଉଙ୍କ ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତି ମଧ୍ୟରେ ଜୁନ ୧୧ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା, ଜୁନ ୨୬ ତାରିଖରେ ନବଯୌବନ ଦର୍ଶନ, ଜୁନ ୨୭ ତାରିଖରେ ରଥଯାତ୍ରା, ଜୁଲାଇ ୧ ତାରିଖରେ ହେରା ପଞ୍ଚମୀ, ଜୁଲାଇ ୪ରେ ସଂନ୍ଧ୍ୟା ଦର୍ଶନ, ଜୁଲାଇ ୫ରେ ବାହୁଡା ଯାତ୍ରା, ଜୁଲାଇ ୬ ତାରିଖରେ ସୁନାବେଶ, ଜୁଲାଇ ୭ରେ ଅଧରପଣା ଓ ଜୁଲାଇ ୮ ତାରିଖରେ ନୀଳାଦ୍ରିବିଜେ ଅନୁଷ୍ଠିତ ହେବ । ଏହି ଉପଲକ୍ଷେ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତ ପୁରୀରେ ସମାଗମ ହେବେ । ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ସୁରକ୍ଷା ବନ୍ଦୋବସ୍ତ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା ।

ରଥଯାତ୍ରା ନିମନ୍ତେ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରିବା ସହ ବରିଷ୍ଠ ପୋଲିସ ଅଧିକାରୀମାନେ ସ୍ଵତନ୍ତ୍ର କାର୍ଯ୍ୟ ପାଇଁ ନିୟୋଜିତ ହେବେ । ସହରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡିକରେ ସିସିଟିଭି ସ୍ଥାପନ, ଟ୍ରାଫିକ ସୁପରିଚାଳନା ନିମନ୍ତେ ରୋଡ ଡିଭାଇଡର, ଡ଼ିଲିନେଟର ଓ ଟ୍ରାଫିକ ଜୋନ ବ୍ୟବସ୍ଥା, ସହରର ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା, ଶୃଙ୍ଖଳିତ ଟ୍ରାଫିକ ବ୍ୟବସ୍ଥାର ପରିଚାଳନା ଆଦି ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ସେହିପରି ସମୁଦ୍ର କୂଳରେ ପୋଲିସ ପକ୍ଷରୁ ପାଟ୍ରୋଲିଂ କଡାକଡି ଓ ଅସ୍ଥାୟୀ ପୋଲିସ ଆଉଟପୋଷ୍ଟ ଖୋଲାଯିବା ସମ୍ପର୍କରେ ମଧ୍ୟ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା । ଏହାବ୍ୟତୀତ ରେଳବାଇ ପୋଲିସ ପକ୍ଷରୁ ପୁରୀ, ଭୁବନେଶ୍ୱର, ଖୋର୍ଦ୍ଧା, ଜଟଣୀ ଆଦି ରେଳ ଷ୍ଟେସନରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଆରପିଏଫ ସହ ଉପଯୁକ୍ତ ସମନ୍ଵୟ ରଖି କାର୍ଯ୍ୟ କରିବାକୁ ଡିଜିପି ପରାମର୍ଶ ଦେଇଥିଲେ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)