ଅକ୍ଷର ବ୍ୟୁରୋ: ରାଜ୍ୟରେ ଆଜିଠାରୁ ସାମାନ୍ୟ କମିବ ବର୍ଷା। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଝାଡ଼ଖଣ୍ଡ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ଅବପାତ ଏବେ ଛତିଶଗଡ଼ ମୁହାଁ ହୋଇଛି। ଆଗକୁ ଏହା ଦୁର୍ବଳ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହାର ପ୍ରଭାବରେ ଆଜି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ।
ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ, ୧୫ ତାରିଖ ଅପରାହ୍ଣରୁ ସାରା ଓଡ଼ିଶାର ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ଅର୍ଥାତ୍ ରାଜ୍ୟରେ ବର୍ଷାର ପ୍ରଭାବ ଧୀରେ ଧୀରେ କମିବାର ସମ୍ଭାବନା ରହିଛି। ତେବେ ଆଗାମୀ କିଛି ଦିନ ପାଇଁ ବର୍ଷା ସମ୍ପୂର୍ଣ୍ଣ ଦୂର ହେବ ନାହିଁ। ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବା ସହ ରାଜ୍ୟରେ ବର୍ଷାର ପ୍ରଭାବ କମିବାକୁ ଥିବା ବେଳେ ଉତ୍ତର ଓ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଆଗାମୀ ଦୁଇ-ତିନି ଦିନ ପର୍ଯ୍ୟନ୍ତ ବର୍ଷା ଜାରି ରହିବ।













Leave a Reply