ଭୁବନେଶ୍ୱର: ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଜାରି ରହିଛି ବର୍ଷା । ବିଶେଷକରି ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ଅତିପ୍ରବଳ ବର୍ଷାର ଆଶଙ୍କା ରହିଛି । ଆଜି ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝରକୁ ଅତିପ୍ରବଳ ବର୍ଷା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଲଘୁଚାପ କ୍ଷେତ୍ର ଅଧିକ ସ୍ପଷ୍ଟ ହେବା ସହ ଉତ୍ତର ଓଡ଼ିଶା ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ଏହାର ପ୍ରଭାବରେ ଆଜି ରାଜ୍ୟର ଅଧିକାଂଶ ଅଞ୍ଚଳରେ ହାଲୁକାରୁ ମଧ୍ୟମ ବର୍ଷା ସହ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ । ଆଜି ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହି ୩ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ସୁନ୍ଦରଗଡ଼, ସମ୍ବଲପୁର, ଢେଙ୍କାନାଳ, ଦେବଗଡ଼, ଅନୁଗୋଳ, ଯାଜପୁର, କଟକ ଓ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ଅଗଷ୍ଟ ୩୧ରେ ଲଘୁଚାପର ପ୍ରଭାବରେ ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ବର୍ଷାର ପ୍ରଭାବ ବଢ଼ିବ । ବିଶେଷକରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ନୂଆପଡ଼ା ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ତୁଳନାତ୍ମକ ଭାବେ କମ୍ ରହିବ । ଲଘୁଚାପ ପ୍ରଭାବରେ ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବ । ସମୁଦ୍ରରେ ଘଣ୍ଟାପ୍ରତି ପ୍ରାୟ ୬୦ କିମି ବେଗରେ ଝଟକା ପବନ ବହିବାର ଆଶଙ୍କା ରହିଛି । ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ସତର୍କ କରାଯାଇଛି ।
ସେପ୍ଟେମ୍ବର ୧ରୁ ରାଜ୍ୟରେ ବର୍ଷାର ପ୍ରଭାବ ଧୀରେଧୀରେ କମିବା ଆରମ୍ଭ ହେବ । ତଥାପି ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ଜାରି ରହିପାରେ । ସେପ୍ଟେମ୍ବର ୨ରୁ ରାଜ୍ୟର ପ୍ରାୟ ସବୁ ସ୍ଥାନରେ ବର୍ଷାର ପ୍ରଭାବ ଆହୁରି କମିବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ବରଗଡ଼, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହାପରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ଜାରି ରହିବାର ପୂର୍ବାନୁମାନ ରହିଛି । ଏବେ ଲଘୁଚାପ ପ୍ରଭାବରେ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ବର୍ଷାର ତୀବ୍ରତା ଅଧିକ ରହିବାକୁ ଥିବାରୁ ରେଡ୍ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକରେ ପ୍ରଶାସନ ପକ୍ଷରୁ ସତର୍କତା ଅବଲମ୍ବନ କରାଯାଉଛି ।













Leave a Reply